• Wed. Apr 15th, 2026

Odishri Khabar

ସତ୍ୟ ଯେତିକି ,ତଥ୍ୟ ସେତିକି ...

ଓଡ଼ିଆ ନବ ବର୍ଷ ର ମାହାତ୍ମ୍ୟତା

Spread the love

ଆଜିଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆଗମନ ହୋଇଥାଏ। ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତିକୁ ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ। ଚଳିତ ବର୍ଷ ପଣା ସଂକ୍ରାନ୍ତି ଆସନ୍ତା ୧୪ ତାରିଖ ସୋମବାର ଦିନ ପଡୁଛି।ଏହିଦିନ ବର୍ଷ ଆରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ। ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ। ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟ ପଦାର୍ଥ ଗ୍ରହଣ ପାଇଁ ଆୟୋଜନ ହୋଇଥାଏ। ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି। ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି। ଏହି ଦିନ ସାଇପଡ଼ିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ। ତେଣୁ ଏହି ଦିନକୁ ପଣା ସଂକ୍ରାନ୍ତି ବୋଲି ମଧ୍ୟ କହାଯାଏ। ପଣା ସଂକ୍ରାନ୍ତିଠାରୁ ରାସ୍ତାକଡ଼ରେ ପଥିକମାନଙ୍କର ତୃଷ୍ଣା ନିବାରଣ ପାଇଁ ଜଳଛତ୍ରମାନ ମଧ୍ୟ ଖୋଲାଯାଏ। ଏହା ସହିତ ବୃକ୍ଷମୁଳରେ ଜଳଦାନର ପ୍ରଥା ଆମ ସମାଜରେ ପ୍ରଚଳିତ। ସେଥିପାଇଁ ହିନ୍ଦୁ ପରିବାରରେ ଚଉଁରାରେ ପୁଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡ଼ିଆ କରି ଘଡ଼ିରେ ଜଳ ରଖି ତାର ନିମ୍ନ ଅଂଶରେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଇଥାଏ। ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳ ସଂକ୍ରାନ୍ତି ବୋଲି ମଧ୍ୟ କହିଥାନ୍ତି। ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ। ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ମଧ୍ୟ ପଡିଥାଏ। ଏହି ଦିନ ଏକ ଛୋଟ ମାଠିଆରେ ପଣା ରଖି ତୁଳସୀ ଚଉରା ମୂଳରେ ବାନ୍ଧି ଦିଆଯାଏ। ମାଠିଆରେ ଥିବା ଛୋଟ କଣାରୁ ଧିରେ ଧିରେ ପାଣି ଝରେ ଯାହା ବର୍ଷାକୁ ସୂଚାଇଥାଏ ଏହି ଠେକିକୁ ବସୁନ୍ଧରା ଠେକି କହାଯାଏ। ଛତୁଆ, ଦହି, ଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ। ବେଲ ପଣାରେ ବଟା ଭାଙ୍ଗ ମିଶାଇ ଭାଙ୍ଗ ପଣା ସେବନ ମଧ୍ୟ କରାଯାଇଥାଏ। ଚଣ୍ଡୀ, ସାରଳା, ବିରଜା ଆଦି ଠାକୁରାଣୀ ମନ୍ଦିରମାନଙ୍କରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ। ଘଣ୍ଟ ପାଟୁଆମାନେ ଘଣ୍ଟ ମୁଣ୍ଡେଇ, କାଠ ଗୋଡ଼ ପିନ୍ଧି ଠାକୁରାଣୀ ମନ୍ଦିର ଆଗରେ ନିଆଁ ଉପରେ ଚାଲିବାର ପ୍ରଥା ରହିଛି । ଦକ୍ଷିଣ ଓଡ଼ିଶାରେ ମାସାଧିକ କାଳ ଧରି ଚାଲିଥିବା ଦଣ୍ଡନାଚର ଅନ୍ତ ଭାବେ ଏହି ଦିନ ମେରୁ ଯାତ ପାଳନ କରାଯାଏ। ଲୋକେ ବେଲ ପଣା ଓ ଛତୁଆ ସହ ଏହାକୁ ପାଳନ କରନ୍ତି । ଉତ୍ତର ଓଡ଼ିଶାରେ ଏହି ଦିନକୁ ଚଡ଼କ ପର୍ବ ନାମରେ ପାଳନ କରାଯାଏ।

Leave a Reply

Your email address will not be published. Required fields are marked *